ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ଭୁବନେଶ୍ବରର ଟଙ୍କପାଣି ରୋଡସ୍ଥିତ ସାଇମନ୍ଦିର ଛକ ଠାରେ କଟକ ପୁରୀ ବାଇପାସ୍ ରୋଡରେ ଏଲ୍ଇଡି ଷ୍ଟ୍ରିଟଲାଇଟ ଆଲୋକୀକରଣ ବ୍ୟବସ୍ଥାକୁ ଲୋକାର୍ପିତ କରିଛନ୍ତି । ଏହି ଆଲୋକୀକରଣ ବ୍ୟବସ୍ଥା ବାଇପାସ୍ ରୋଡର ପଳାଶୁଣୀ ଛକ ଠାରୁ ଲିଙ୍ଗିପୁର ଛକ ପର୍ଯ୍ୟନ୍ତ ୧୨ କିଲୋମିଟର ରାସ୍ତାରେ ଆଲୋକୀକରଣ କାର୍ଯ୍ୟକାରୀ କରାଯାଇଛି ।
ଏହାଦ୍ବାରା ବିଦ୍ୟୁତ ଶକ୍ତି ଖର୍ଚ୍ଚ କମିବା ସହିତ ଜନସାଧାରଣ ବିଶେଷକରି ଗାଡିଚାଳକ ଓ ପଥଚାରୀ ମାନଙ୍କ ଯାତାୟତ ଅଧିକ ନିରାପଦ ହେବ ଏବଂ ଉତ୍ତମ ଆଲୋକୀକରଣ ବ୍ୟବସ୍ଥା ଦ୍ୱାରା ସଡକ ଦୁର୍ଘଟଣା କମିବା ସହିତ ଚାରୀ ଓ ଲୁଟପାଟ ଭଳି ଅପରାଧିକ କାର୍ଯ୍ୟକଳାପ ମଧ୍ୟ କମିପାରିବ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଥିଲେ ।
ସୂଚନାଯୋଗ୍ୟ ଯେ ଭୁବନେଶ୍ବର ମହାନଗର ନିଗମ ପକ୍ଷରୁ ଏଥିରେ ୩୮୭ଟି ଖୁଣ୍ଡିରେ ୧୨୦ ୱାଟ ବିଶିଷ୍ଟ ୭୭୪ଟି ଏଲ୍ଇଡି ଲାଇଟ ଲଗାଯାଇଛି ଏବଂ ଲିଙ୍ଗିପୁର, କେଶୁରା ଓ ପାଣ୍ଡରା ଠାରେ ୩ଟି ହାଇମାଷ୍ଟ ଲାଇଟ ଲଗାଯାଇଛି । ଏଥିପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ପକ୍ଷରୁ ୨,୮୫ କୋଟି ଟଙ୍କା ବ୍ୟୟ କରାଯାଇଛି । ଭୁବନେଶ୍ବର ମହାନଗର ଅଞ୍ଚଳ ମଧ୍ୟରେ ନିଗମ ପକ୍ଷରୁ ଉତ୍କଳ ଆଲୋକୀକରଣ କାର୍ଯ୍ୟକ୍ରମ ଜାରି ରହିଛି । ବର୍ତ୍ତମାନ ସହରର ବିଭିନ୍ନ ସ୍ଥାନରେ ୪୦ ହଜାରରୁ ଅଧିକ ଲାଇଟ ଲଗାଯାଇଛି । ଖୁବ୍ଶୀଘ୍ର ଅଧିକ ଆଲୋକୀକରଣ ପାଇଁ ଆଉ ୬.୭ କୋଟି ଟଙ୍କା ବିନିଯୋଗ କରାଯିବ ।
ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ପାନୀୟ ଜଳ ତଥା ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ବିଜ୍ଞାନ ଓ ପ୍ରଯୁକ୍ତି ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଭୁବନେଶ୍ବର ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ଏବଂ ଭୁବନେଶ୍ବରର ଉତ୍ତର ବିଧାୟକ ଶ୍ରୀ ସୁଶାନ୍ତ କୁମାର ରାଉତ ପ୍ରମୁଖ ଯୋଗ ଦେଇଥିଲେ । ମ୍ୟୁନିସପାଲ ଆଡମିନିଷ୍ଟ୍ରେସନର ନିର୍ଦ୍ଦେଶକ ଶ୍ରୀ ସଂଗ୍ରାମଜିତ ନାୟକ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ମହାନଗର ନିଗମର କମିଶନର ଶ୍ରୀ ପ୍ରେମଚନ୍ଦ ଚୌଧୁରୀ ଧନ୍ୟବାଦ ଅର୍ପଣ କରିଥିଲେ ।
Post a Comment