loading...

ସୋନପୁରରେ ୩୦୦ କୋଟି ଓ ବୌଦ୍ଧରେ ୪୮୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ ସୋନପୁର ଓ ବୌଦ୍ଧ ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ

ସୋନପୁରରେ ୩୦୦ କୋଟି ଓ ବୌଦ୍ଧରେ ୪୮୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବୌଦ୍ଧ,ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ ସୋନପୁର ଓ ବୌଦ୍ଧ  ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ସୋନପୁରର ଏକ ଲକ୍ଷ ପଚାଶ ହଜାର ଲୋକ ଏହି ସୁବିଧା ପାଇବା ବେଳେ ବୌଦ୍ଧର ତିନି ଲକ୍ଷ ବାସ୍ତରି ହଜାର ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହାସହିତ ରାଜ୍ୟର ୧୯ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ । ଏହି ଅବସରରେ ସୋନପୁର ପାଇଁ  ମୁଖ୍ୟମନ୍ତ୍ରୀ ୩୦୦ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ। ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ  ସୋନପୁରକୁ ମନ୍ଦିର ନଗରୀ ଭାବେ ବର୍ଣ୍ଣନା କରି ଏହାର କଳା ଓ ସଂସ୍କୃତିର ଉଚ୍ଚପ୍ରଶଂସା କରିଥିଲେ । ସୋନପୁରର ବୁଣାକାରମାନେ ନିଜ ଦକ୍ଷତା ଦ୍ବାରା ଓଡିଶାର ଗୌରବକୁ ଦେଶ ବିଦେଶରେ ପହଞ୍ଚାଇଛନ୍ତି ବୋଲି ସେ କହିଥିଲେ।

ଜିଲ୍ଲାର ବିକାଶ ପାଇଁ ସେ ସମର୍ପିତ ବୋଲି ପ୍ରକାଶ କରିବା ସହିତ ମୁଖ୍ୟମନ୍ତ୍ରୀ କହିଲେ ଯେ ସୋନପୁରରେ MSME ପାର୍କ ପ୍ରତିଷ୍ଠା ଜରିଆରେ ଶିଳ୍ପ ବିକାଶ ପାଇଁ ପଦକ୍ଷେପ ନିଆଯାଇଛି ବୋଲି ସେ କହିଥିଲେ।  ତା ସହିତ ଜଳସେଚନ ଓ ସ୍ବାସ୍ଥ୍ୟ ସୁବିଧାର ବିକାଶ ପାଇଁ ପଦକ୍ଷେପ ନିଆଯାଉଛି । ଜିଲ୍ଲା ମୁଖ୍ୟାଳୟରେ ଏକ ହସ୍‌ପିଟାଲ ପ୍ରତିଷ୍ଠା  କରାଯାଉଛି। ଏହାଦ୍ବାରା ସ୍ବାସ୍ଥ୍ୟ ସେବାରେ ଉନ୍ନତି ଆସିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ସେହିପରି ଆଜି ଅପରାହ୍ନରେ ବୌଦ୍ଧ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ । ଜିଲ୍ଲା ପାଇଁ ୪୮୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ବୌଦ୍ଧ ଜିଲ୍ଲାର ପ୍ରାକୃତିକ ପରିବେଶର ବହୁତ ପ୍ରଶଂସା କରିଥିଲେ । ବୌଦ୍ଧରେ ପର୍ଯ୍ୟଟନର ବିକାଶ ପାଇଁ ଥିବା ବିପୁଳ ସୁଯୋଗକୁ ଉପଯୋଗ କରାଯିବ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦ କୋଟି ଟଙ୍କାରେ ନନ୍ଦନ ବନ ସଫାରୀ କରାଯିବ, ଯାହାଦ୍ବାରା ଇକୋ-ଟୁରିଜିମ୍‌ର ବିକାଶ ସହିତ ଜିଲ୍ଲାର ୪୦୦ ପରିବାରକୁ ରୋଜଗାର ମିଳିବ। ସେହିପରି ୪ କୋଟି ଟଙ୍କାରେ ୩୭ଟି ପର୍ଯ୍ୟଟନ ସ୍ଥଳୀର ବିକାଶ କରାଯିବ ବୋଲି ସେ କହିଥିଲେ ।

ଦୁଗ୍‌ଧ ଉତ୍ପାଦନରେ ବୌଦ୍ଧ ଜିଲ୍ଲାର  ସଫଳତାକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଏକ ବର୍ଷରେ ୨୦ ହଜାର ଲିଟର କ୍ଷମତା ବିଶିଷ୍ଟ ଏକ ଦୁଗ୍‌ଧ ଶୀତଳୀକରଣ ପ୍ଲାଣ୍ଟ ନିର୍ମାଣ କରାଯିବ। ଏହାଦ୍ବାରା ୧୦ ହଜାର ଚାଷୀ ଏଥିରେ ରୋଜଗାର ପାଇପାରିବେ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ବାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି। କାର୍ଡ ଖଣ୍ଡିଏ ଧରି ସେମାନେ ପୁରା ପରିବାର ପାଇଁ ସବୁଠାରୁ ଭଲ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ।  ଏହା ବାସ୍ତବରେ ସେମାନଙ୍କୁ ସଶକ୍ତ କରିଛି ।  ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ।  ସ୍ବାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ। ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦  ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା  -  ସମସ୍ତେ  ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ। ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ଏହି କାର୍ଯ୍ୟକ୍ରମରେ ସୋନପୁରରେ ଯୋଜନା ଓ ସଂଯୋଜନ ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା, ଅର୍ଥ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୁଜାରୀ, ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ଶ୍ରୀ ସୁଷାନ୍ତ ସିଂହ ଏବଂ ବୌଦ୍ଧରେ  ଯୋଜନା ଓ ସଂଯୋଜନ ମନ୍ତ୍ରୀ ଶ୍ରୀ ପଦ୍ମନାଭ ବେହେରା, ଅର୍ଥ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୁଜାରୀ, ସାଂସଦ ଶ୍ରୀ ଅଚ୍ୟୁତାନନ୍ଦ ସାମନ୍ତ, ବିଧାୟକ ଶ୍ରୀ ପ୍ରଦୀପ କୁମାର ଅମାତ ଓ ବିଧାୟକ ଶ୍ରୀ ମହିଧର ରଣା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ କାର୍ଯ୍ୟକ୍ରମ ଦ୍ବାରା  ଆଜି ରାଜ୍ୟର ଗରିବ ଜନସାଧାରଣ ଟଙ୍କା ଚିନ୍ତାରୁ ମୁକ୍ତ ହୋଇ ଶାନ୍ତିରେ ନିଜ ପରିବାରର ବିକାଶ ପାଇଁ କାମ କରିବାର ସୁଯୋଗ ପାଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଆଜି ଓଡିଶାକୁ ସାରା ଦେଶରେ ଏକ ଆଦର୍ଶ ରାଜ୍ୟ ଭାବରେ ପରିଣତ କରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ।
Tags

Post a Comment

[blogger][disqus][facebook][spotim]
Powered by Blogger.
Javascript DisablePlease Enable Javascript To See All Widget